ଭୁବନେଶ୍ୱର,୧୭/୯ : ବିଜୁ ଜନତା ଦଳର ବିଧାୟକ ଦଳ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଠାରୁ ଆରମ୍ଭ ହେଉଥିବା ବିଧାନସଭା ଅଧିବେଶନରେ ଦଳର ରଣନୀତି ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା ।
ବୈଠକରେ ଉଦ୍ବୋଧନ ଦେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଥିଲେ ଯେ, ବିଧାନସଭାର ମୌସୁମୀ ଅଧିବେଶନ ସଂକ୍ଷିପ୍ତ ହେଲେ ମଧ୍ୟ ରାଜନୈତିକ ଦୃଷ୍ଟିରୁ ବିଶେଷ ତାତ୍ପର୍ଯ୍ୟପୂର୍ଣ୍ଣ। ମହିଳାମାନଙ୍କ ଉପରେ ଅତ୍ୟାଚାର ଜନିତ ଦୁର୍ଭାଗ୍ୟପୂର୍ଣ୍ଣ ଘଟଣା ପ୍ରତିଦିନ ବଢି ଚାଲିଛି । ସେହିପରି ସାର ଯୋଗାଣ କ୍ଷେତ୍ରରେ ସୃଷ୍ଟି ହୋଇଥିବା ମାନବକୃତ ସଙ୍କଟ ଯୋଗୁଁ ଚାଷୀମାନେ ହଇରାଣ ହେଉଛନ୍ତି । ପଞ୍ଚାୟତି ରାଜ ବ୍ୟବସ୍ଥାରେ ଗଣତାନ୍ତ୍ରିକ ମୂଲ୍ୟବୋଧକୁ ରାଜନୈତିକ ସ୍ୱାର୍ଥ ସାଧନ ପାଇଁ ସମ୍ପୂର୍ଣ୍ଣ ନଷ୍ଟ କରିବା ପାଇଁ ରାଜ୍ୟ ସରକାର ଉଦ୍ୟମ କରୁଛନ୍ତି । ନିର୍ବାଚିତ ପଞ୍ଚାୟତ ପ୍ରତିନିଧିମାନଙ୍କୁ ଅପ୍ରାସଙ୍ଗୀକ କରିବା ପାଇଁ ରାଜ୍ୟ ସରକାର ଅଫିସରମାନଙ୍କ ଆର୍ଥୀକ କ୍ଷମତା ବୃଦ୍ଧି ପାଇଁ ଯେଉଁ ନିଷ୍ପତ୍ତି ନେଇଛନ୍ତି ତାକୁ ଦୃଢ ବିରୋଧ କରାଯିବ ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ । ଏତଦ୍ ବ୍ୟତୀତ ଓଡିଆ ଅସ୍ମିତାର ପ୍ରତୀକ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରାରେ ହୋଇଥିବା ବିଶୃଙ୍ଖଳା ଓ ଦଳାଚକଟା ଘଟଣାରେ ମଧ୍ୟ ସରକାରଙ୍କୁ ଜବାବ ଦାବୀ କରାଯିବ ବୋଲି ସେ କହିଥିଲେ ।
ବିଧାୟକ ଦଳର ଉପନେତା ପ୍ରସନ୍ନ ଆଚାର୍ଯ୍ୟ ବିରୋଧୀ ଦଳ ନେତାଙ୍କ ପରାମର୍ଶ ଉପରେ ବିସ୍ତୃତ ଆଲୋଚନା କରିଥିଲେ । ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ ।