ଭୁବନେଶ୍ୱର, ୧୯/୯ : ରାଜ୍ୟର ଉତ୍ତର ପୂର୍ବ ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ୨୦ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ । ଏହା ପ୍ରଭାବରେ ୨୦ ଓ ୨୧ ତାରିଖ ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବ । ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ ୨୦ତାରିଖରେ ଅନୁଗୁଳ, କେନ୍ଦୁଝର, ବୌଦ୍ଧ, ସମ୍ବଲପୁର, ବଲାଙ୍ଗୀର, ବରଗଡ଼, ସୋନପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏ ସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, ନୟାଗଡ଼, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଗଞ୍ଜାମ ଓ ନୂଆପଡ଼ା ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୧ରେ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି । ଏହି ୬ଟି ଜିଲ୍ଲା ପାଇଁ ଅରେଞ୍ଜ ସତର୍କତା ଦିଆଯାଇଛି । ନବରଙ୍ଗପୁର, କୋରାପୁଟ, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।
ଲଘୁଚାପ ପ୍ରଭାବରୁ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ତଳିଆ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ଉପୁଜିପାରେ ବୋଲି ପାଣିପାଗ ବିଭାଗ ସତର୍କତା ଜାରି କରିଛି । ଚାଷ ଜମି ଜଳମଗ୍ନ ହେବାର ଆଶଙ୍କା ଥିବାରୁ ଜଳ ନିଷ୍କାସନ ବ୍ୟବସ୍ଥା କରିବାକୁ ପରାମର୍ଶ ଦିଆଯାଇଛି । କଚ୍ଚା ରାସ୍ତା ଓ ଘର କ୍ଷତିଗ୍ରସ୍ତ ହୋଇପାରେ । ଲଗାଣ ବର୍ଷା ସମ୍ଭାବନା ପାଇଁ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ଅଛି । ଏଥିପାଇଁ ପ୍ରସ୍ତୁତ ରହିବା ସହ ଆବଶ୍ୟକ ପଦକ୍ଷେପ ନେବାକୁ ସବୁ ଜିଲ୍ଲାପାଳଙ୍କୁ କୁହାଯାଇଛି ।
ଗତକାଲି ବୌଦ୍ଧରେ ୩୨.୬ମିମି ବର୍ଷା ହୋଇଛି । ବାଲେଶ୍ୱରରେ ୨୧.୨, ପାରଳାଖେମୁଣ୍ଡିରେ ୧୦.୨ମିମି ବର୍ଷା ହୋଇଛି । ଗତ ୨୪ ଘଣ୍ଟାରେ ସୁନ୍ଦରଗଡ଼ରେ ସର୍ବାଧିକ ୧୨୫.୪ମିମି ବର୍ଷା ହୋଇଛି । ବ୍ରହ୍ମପୁରରେ ୫୦.୪, ଚିଲିକାରେ ୫୦, ପୁରୀ ଜିଲ୍ଲା କୃଷ୍ଣପ୍ରସାଦରେ ୪୬, କଟକରେ ୪୪.୬, କେନ୍ଦୁଝର ଜିଲ୍ଲା ତେଲକୋଇରେ ୩୬.୪, ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ଼ରେ ୩୫, ଗଞ୍ଜାମ ଜିଲ୍ଲା ଶେରଗଡ଼ରେ ୩୦, ଢେଙ୍କାନାଳ ଜିଲ୍ଲା ଆଳତୁମା ଓ ଗଞ୍ଜାମ ଜିଲ୍ଲା ଗୋପାଳପୁରରେ ୨୯.୪ମିମି ବର୍ଷା ହୋଇଛି ।