ଭୁବନେଶ୍ୱର,୧୨/୦୯: ଦେଶର ୧୫ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ସି.ପି. ରାଧାକ୍ରିଷ୍ଣନ୍ । ନବନିର୍ବାଚିତ ଉପରାଷ୍ଟ୍ରପତିଙ୍କୁ ରାଷ୍ଟ୍ରପତି ଭବନରେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଶପଥ ଗ୍ରହଣ ସମାରୋହରେ ଉପସ୍ଥିତ ହୋଇଛନ୍ତି । ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ଏବଂ ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ମଧ୍ୟ ଶପଥ ଉତ୍ସବରେ ସାମିଲ ହୋଇଛନ୍ତି । ଏପଟେ ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି,'' ଭାରତର ୧୫ତମ ଉପରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିଥିବାରୁ ସିପି ରାଧାକ୍ରିଷ୍ଣନ୍‌ଙ୍କୁ ଜୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ । ଆମ ଦେଶର ଗଣତାନ୍ତ୍ରିକ ମୂଲ୍ୟବୋଧକୁ ବଜାୟ ରଖିବା ଏବଂ ସଂସଦୀୟ ପରମ୍ପରାକୁ ସୁଦୃଢ଼ ​​କରିବା ପାଇଁ ଉତ୍ସର୍ଗୀକୃତ ଏକ ସଫଳ କାର୍ଯ୍ୟକାଳ ପାଇଁ ମୁଁ ଶୁଭକାମନା ଜଣାଉଛି ।''

ରାଷ୍ଟ୍ରପତି ଭବନର ଗଣତନ୍ତ୍ର ମଣ୍ଡପରେ ନବନିର୍ବାଚିତ ଉପରାଷ୍ଟ୍ରପତି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଛି । ଏହି ସମାରୋହର ସାକ୍ଷୀ ହେବାକୁ ଦେଶର କୋଣ ଅନୁକୋଣରୁ ବହୁ ବିଶିଷ୍ଟ ବ୍ୟକ୍ତି ସାମିଲ ହୋଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ, କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାୟୁଡୁ ଓ ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼, ଭେଙ୍କୟା ନାୟୁଡୁ ମଧ୍ୟ ସାମିଲ ହୋଇଛନ୍ତି । ଗତ ସେପ୍ଟେମ୍ବର ୯ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ହୋଇଥିଲା । ଏନଡିଏ ପ୍ରାର୍ଥୀ ରାଧାକ୍ରିଷ୍ଣନ ବିରୋଧୀ ଇଣ୍ଡି ମେଣ୍ଟ ପ୍ରାର୍ଥୀ ସୁଦର୍ଶନ ରେଡ୍ଡୀଙ୍କୁ ହରାଇ ଉପରାଷ୍ଟ୍ରପତି ନିର୍ବାଚିତ ହୋଇଛନ୍ତି ।