ପ୍ରମୂଖ ଖବର
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ବିଜେପି ବିଧାୟକ ଦଳ ବୈଠକରେ ନିଷ୍ପତ୍ତି; ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ମାଝୀ, କେ.ଭି. ସିଂଦେଓ ଏବଂ ପ୍ରଭାତୀ ପରିଡ଼ା ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୧/୦୬: ବହୁ ପ୍ରତିକ୍ଷାର ଅନ୍ତ ଘଟିଛି। ଅନେକ କଳ୍ପନାଜଳ୍ପନା, ଆଲୋଚନା ଓ ପର୍ଯ୍ୟାଲୋଚନାର ଅନ୍ତ ଘଟି ଶେଷରେ ମୋହନ ମାଝୀଙ୍କୁ ଓଡ଼ିଶାର ନୂଆ ମୂଖ୍ୟମନ୍ତ୍ରୀ ଭାବେ ଚୟନ କରାଯାଇଛି। ଭୁବନେଶ୍ବରରେ ବିଜେପି କାର୍ଯ୍ୟାଳୟରେ ମଙ୍ଗଳବାର ବିଜେପି ବିଧାୟକ ଦଳ ବୈଠକ ବସିଥିଲା। ଏଥିରେ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଓ ଭୁପେନ୍ଦ୍ର ଯାଦବ ସାମିଲ ହୋଇଥିଲେ। ତେବେ ବୈଠକ ପରେ ପରିଶେଷରେ ମୋହନ ମାଝୀଙ୍କ ନାଁ ଉପରେ ମୁଖ୍ୟମନ୍ତ୍ରୀ ପାଇଁ ମୋହର ଲାଗିଥିଲା। ଏଥିସହିତ କନକ ବର୍ଦ୍ଧନ ସିଂ ଦେଓ ଓ ପ୍ରଭାତି ପରିଡ଼ାଙ୍କୁ ଉପ ମୁଖ୍ୟମନ୍ତ୍ରୀ ଭାବେ ଚୟନ କରାଯାଇଛି।  ଆସନ୍ତାକାଲି ଅର୍ଥାତ୍‌ ବୁଧବାର ସଂନ୍ଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀ ପଦ ପାଇଁ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ପଦ ପାଇଁ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତି ପରିଡ଼ା ଶପଥ ଗ୍ରହଣ କରିବେ। 

ଚଳିତ ନିର୍ବାଚନରେ ଓଡ଼ିଶାରେ ବିଜେପି ୧୪୭ରୁ ୭୮ଟି ଆସନ ସହିତ ବହୁମତ ହାସଲ କରି କ୍ଷମତାକୁ ଆସିବା ପରେ ନୂଆ ମୁଖ୍ୟମନ୍ତ୍ରୀ କିଏ ହେବେ ସେଥିପ୍ରତି ଚର୍ଚ୍ଚା ଆଲୋଚନା ଲାଗି ରହିଥିଲା। ତେବେ ପରିଶେଷରେ ୧୧ ଜୁନ୍‌ ମଙ୍ଗଳବାର ଦିନ ବିଧାୟକ ଦଳ ବୈଠକ ପରେ କେଉଁଝରର ବିଧାୟକ ମୋହନ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଚୟନ କରାଯାଇଥିଲା। 

କହିରଖୁଛୁ ଯେ, ସ୍ବର୍ଗତ ଗୁଣମଣୀ ମାଝୀଙ୍କ ପୁତ୍ର ମୋହନ ମାଝୀ ୧୯୭୨ ମସିହା ଜାନୁଆରୀ ୬ ତାରିଖରେ କେନ୍ଦୁଝରରେ ଜନ୍ମ ଗ୍ରହଣ କରିଥିଲେ। ମୋହନ ମାଝୀ କଳା ଓ ଆଇନରେ ସ୍ନାତକ ହାସଲ କରିଛନ୍ତି। ଡ. ପ୍ରିୟଙ୍କା ମାର୍ଣ୍ଡି ହେଉଛନ୍ତି ତାଙ୍କ ପତ୍ନୀ। ଓଡ଼ିଶା ବିଧାନ ସଭାରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ବର୍ତ୍ତମାନ ଜଣେ ବିଧାୟକ ଭାବରେ କାର୍ଯ୍ୟରତ।

୨୦୦୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୫୧,୪୪୯ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୨ତମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଜଗଦିଶ ନାଏକଙ୍କୁ ୨୨,୧୬୩ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ । ଏହି ବିଧାନ ସଭାରେ ସେ ୨୦୦୦ ମସିହାରୁ ୨୦୦୪ ମସିହାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡ ଭାଙ୍ଗିବାଯାଏଁ କାର୍ଯ୍ୟ କରିଥିଲେ ।

୨୦୦୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୬,୧୪୬ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୩ତମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ମାଧବ ସରଦାରଙ୍କୁ ୧୧,୦୦୨ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୩] ଏହି ବିଧାନ ସଭାରେ ସେ ୨୦୦୪ ମସିହାରୁ ୨୦୦୫ ମସିହା ଯାଏଁ କାର୍ଯ୍ୟ କରିଥିଲେ ।

୨୦୦୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୨୯,୨୦୨ ଖଣ୍ଡ ଭୋଟ ପାଇ ୨ୟ ସ୍ଥାନରେ ରହି ପରାଜିତ ହୋଇଥିଲେ । ବିଜୁ ଜନତା ଦଳର ପ୍ରାର୍ଥୀ ଶୁଭମ ନାଏକ ତାଙ୍କୁ ୭,୨୬୯ ଖଣ୍ଡ ଭୋଟରେ ପରାସ୍ତ କରି ୧୪ତମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୭,୨୮୩ ଖଣ୍ଡ ଭୋଟ ପାଇ ୨ୟ ସ୍ଥାନରେ ରହି ପରାଜିତ ହୋଇଥିଲେ । ବିଜୁ ଜନତା ଦଳର ପ୍ରାର୍ଥୀ ଅଭିରାମ ନାଏକ ତାଙ୍କୁ ୮,୬୭୬ ଖଣ୍ଡ ଭୋଟରେ ପରାସ୍ତ କରି ୧୫ତମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ।

୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୬ତମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.