ଭୁବନେଶ୍ବର,୧୯।୩ : ଲୋକସେବା ଭବନ ପରିସରରେ  ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଲେ ନବ ଦାସଙ୍କ ପରିବାର ସଦସ୍ୟ।  ସ୍ୱର୍ଗତ ଦାସଙ୍କ ପତ୍ନୀ ମୀନତି ଦାସ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ତାଙ୍କ ସ୍ୱାମୀଙ୍କ ହତ୍ୟାକାଣ୍ଡର ତଦନ୍ତ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଆଲୋଚନା ସମୟରେ ତାଙ୍କ କନ୍ୟା ପୂର୍ବତନ ବିଧାୟିକା ଦୀପାଳି ଦାସ ଓ ପୁତ୍ର ବିଶାଳ ଦାସ ମଧ୍ୟ ଉପସ୍ଥିତ ଥିଲେ । ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟାର ସିବିଆଇ ତଦନ୍ତ ନେଇ  ମୁଖ୍ୟମନ୍ତ୍ରୀଙ୍କ ସହ  ମିନତୀ  ଆଲୋଚନା କରିଥିଲେ। ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ଭାବେ ନବଙ୍କ ପରିବାର ଜଣାଇଥିଲେ। ନବ ଦାସଙ୍କ ହତ୍ୟାକାଣ୍ଡ ସମ୍ପର୍କରେ ଉଚିତ୍ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ  ବୋଲି  ମୁଖ୍ୟମନ୍ତ୍ରୀ ସେମାନଙ୍କୁ  ଭରସା ଦେଇଥିଲେ।  

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଯେଉଁଭଳି ଭାବେ ଏହି ଘଟଣା ଘଟିଲା ତାହା ଅତ୍ୟନ୍ତ ଦୁଃଖଦ ଓ ନିନ୍ଦନୀୟ । ଏହି ଘଟଣାରେ ସରକାର ସବୁ ଦିଗକୁ ପୁଣି ଥରେ ତନ୍ନ ତନ୍ନ କରି ପରୀକ୍ଷା କରିବେ ଏବଂ ପ୍ରକୃତ ଦୋଷୀକୁ ଖୋଜି ବାହାର କରିବେ। ଆଇନର ମର୍ଯ୍ୟାଦା ମଧ୍ୟରେ ଦୋଷୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଭରସା ଦେଇଥିଲେ ।

ଶ୍ରୀମତୀ ଦାସଙ୍କୁ ତଦନ୍ତକାରୀ ସଂସ୍ଥାକୁ ସହଯୋଗ କରିବାକୁ  ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।  ଯେ କୌଣସି ସମୟରେ ତାଙ୍କୁ ବ୍ୟକ୍ତିଗତ ଭାବେ ଏ ସମ୍ପର୍କରେ ଅବଗତ କରାଇପାରିବେ । ସେ ନିଜେ ଓ ତାଙ୍କ ସରକାର ନ୍ୟାୟ ସପକ୍ଷରେ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।ବ୍ୟକ୍ତିଗତ ଭାବେ ଭେଟି ଏହି ଆଲୋଚନା କରିଥିବାରୁ ଏବଂ ନ୍ୟାୟ ମିଳିବାର ଭରସା ଦେଇଥିବାରୁ ଶ୍ରୀମତୀ ଦାସ  ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ନବଙ୍କ ଝିଅ ଦୀପାଳୀ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସିବିଆଇ ତଦନ୍ତ ପାଇଁ ଲିଖିତ ଭାବେ ଜଣାଇଲୁ। ନିରପେକ୍ଷ ତଦନ୍ତ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ।  ସିବିଆଇ ତଦନ୍ତ ଦାବିର ବିଚାର କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।