ଭୁବନେଶ୍ୱର,୧୦/୦୬: ଆସନ୍ତା ୧୨ ତାରିଖରୁ ମୌସୁମୀ ପୁଣି ଥରେ ସକ୍ରିୟ ହୋଇପାରେ । ଦକ୍ଷିଣ ଭାରତର ରାଜ୍ୟଗୁଡ଼ିକରେ ମୌସୁମୀ ସକ୍ରିୟ ହେବା ସହ କର୍ଣ୍ଣାଟକ ଓ କୋଙ୍କଣ-ଗୋଆରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ୧୨ ପରେ ଓଡ଼ିଶାରେ ବି ମୌସୁମୀ ବର୍ଷା ଆରମ୍ଭ ହୋଇଯିବ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି ।
ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁଙ୍କ ଆକଳନ କହୁଛି, ଘୂର୍ଣ୍ଣିବଳୟ ପ୍ରଭାବରେ ୧୩ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶା ସମେତ ଅନ୍ୟ ସ୍ଥାନରେ ବର୍ଷା ହୋଇପାରେ । ତେବେ ୧୨ ତାରିଖ ପରେ ମୌସୁମୀ ପୁଣି ସକ୍ରିୟ ହେବା ସହ ବର୍ଷା ଆରମ୍ଭ ହୋଇଯିବ । ୧୬ ଓ ୧୭ ତାରିଖରେ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ବୋଲି ସେ କହିଛନ୍ତି ।
ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଉପକୂଳ ଓଡ଼ିଶା ଉପର ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ମଙ୍ଗଳବାର ମୟୂରଭଞ୍ଜ, ଗଜପତି, ଗଞ୍ଜାମ ଓ କନ୍ଧମାଳରେ ଘଡ଼ଘଡ଼ି ସହିତ ଅଧିକ ବର୍ଷା ସମ୍ଭାବନା ଅଛି । ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ନୟାଗଡ଼, କଳାହାଣ୍ଡି, କୋରାପୁଟ, ମାଲକାନଗିରି ଓ ରାୟଗଡ଼ାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।
୧୧ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ମୟୂରଭଞ୍ଜରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୧୨, ୧୩, ୧୪ ଓ ୧୫ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।